ସୁଭାଷ ଚନ୍ଦ୍ର ବୋଷ ସ୍ଵାଧିନତା ସଂଗ୍ରାମୀ (ନେତାଜୀ)

135

ଖୋର୍ଦ୍ଧା ଜିଲ୍ଲା,(ସଞ୍ଜୀବ କୁମାର): ନେତାଜୀ ସୁଭାଷ ଚନ୍ଦ୍ର ବୋଷ ୨୩ ଜାନୁଆରୀ ୧୮୯୭ – ୧୯୪୫ ଅଗଷ୍ଟ ୧୮ ମୃତ୍ୟୁ ଏବେ ମଧ୍ୟ ରହସ୍ୟମୟ, ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ରାୟବାହାଦୁର ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।
ଜନ୍ମ ଓ ଜନ୍ମସ୍ଥାନ:-ଓଡ଼ିଆ ବଜାର, କଟକ, ଓଡ଼ିଶା.

ଭାରତୀୟ ସ୍ୱାଧିନତା ଆନ୍ଦୋଳନରେ ଭୂମିକା

ଦେଶବନ୍ଧୁ ଚିତ୍ତରଞ୍ଜନ ଦାସଙ୍କ ସମ୍ପର୍କରେ ଆସିବା ପରେ ସେ ଭାରତୀୟ ଜାତୀୟ କଂଗ୍ରେସରେ ଯୋଗଦେଇ ୧୯୨୩ରେ ବଙ୍ଗଳା ପ୍ରାଦେଶିକ କଂଗ୍ରେସର କମିଟିର ସମ୍ପାଦକ ହୋଇଥିଲେ । ୧୯୨୪ ମସିହାରେ ସେ କଲିକତା ମହାନଗରୀର ମେୟର ହୋଇଥିଲେ । ୧୯୨୮ରେ କଂଗ୍ରେସ ପକ୍ଷରୁ ନିଯୁକ୍ତପ୍ରାପ୍ତ ମୋତିଲାଲ ନେହେରୁ କମିଟି ସ୍ୱାୟତ୍ତ ଶାସନ ସପକ୍ଷରେ ମତ ଦେଇଥିଲେ, କିନ୍ତୁ ଜବାହରଲାଲ ନେହେରୁ ଓ ସୁଭାଷ ବୋଷ ଉଭୟେ ପୂର୍ଣ୍ଣ ସ୍ୱାଧୀନତା ଚାହିଁଥିଲେ ।

୧୯୩୦ରେ ଆଇନ ଅମାନ୍ୟ ଆନ୍ଦୋଳନ ବେଳେ ସୁଭାଷଙ୍କୁ ଗିରଫ କରି ଜେଲରେ ରଖାଯାଇଥିଲା, ତେବେ ୧୯୩୧ରେ ଗାନ୍ଧୀ-ଇରୱିନ ଚୁକ୍ତି ପରେ ତାଙ୍କୁ ଜେଲରୁ ମୁକ୍ତ କରାଯାଇଥିଲା । ୧୯୩୮ ମସିହାରେ ହରିପୁରା ଜାତୀୟ କଂଗ୍ରେସର ଅଧିବେଶନରେ ଗାନ୍ଧୀଙ୍କ ମନୋନୀତ ପ୍ରାର୍ଥୀ ପଟ୍ଟାଭିସୀତାରାମାୟାଙ୍କୁ ହରାଇ କଂଗ୍ରେସର ସଭାପତି ଭାବେ ନିର୍ବାଚିତ ହୋଇଥିଲେ । ୧୯୩୯ରେ ସେ ପୁଣିଥରେ ସେହି ପଦବୀକୁ ନିର୍ବାଚିତ ହୋଇଥିଲେ ।

୧୯୩୯ରେ ସେ ଫରୱାର୍ଡ଼ ବ୍ଳକ ନାମକ ଏକ ନୂତନ ଦଳ ଗଠନ କରିଥିଲେ । ସଶସ୍ତ୍ର ଆନ୍ଦୋଳନଦ୍ୱାରା ହିଁ ଭାରତକୁ ବ୍ରିଟିଶ ସାମ୍ରାଜ୍ୟବାଦରୁ ମୁକ୍ତ କରିହେବ ବୋଲି ସେ ବିଶ୍ୱାସ କରୁଥିଲେ । ସେ ଇଟାଲିର ଜନନାୟକ ଗାରିବାଲ୍ଡି ଓ ମାଜିନିଙ୍କଦ୍ୱାରା ଯଥେଷ୍ଟ ଅନୁପ୍ରାଣୀତ ହୋଇଥିଲେ । ସୁଭାଷଙ୍କର ଏହି ଉଗ୍ରନୀତି ଯୋଗୁଁ ବ୍ରିଟିଶ ସରକାର ତାଙ୍କୁ କଲିକତାଠାରେ ନଜରବନ୍ଦୀ ରୂପେ ରଖିଥିଲେ । ଭାରତର ସ୍ୱାଧୀନତା ପାଇଁ ଭାରତ ବାହାରେ ରହି ଯୁଦ୍ଧ କରିବା ପାଇଁ ୧୯୪୧ ଜାନୁଆରୀ ୧୭ ତାରିଖରେ ସେ ଭାରତର ସୀମାନ୍ତ ଅତିକ୍ରମ କରି ଆଫଗାନିସ୍ଥାନ ଓ ସୋଭିଏତ ଋଷ ମଧ୍ୟ ଦେଇ ମାର୍ଚ୍ଚ ମାସରେ ବର୍ଲିନଠାରେ ପହଞ୍ଚିଥିଲେ ।

ଜର୍ମାନୀର ନାଜି ଶାସକ ହିଟଲରଙ୍କ ସହ ସାକ୍ଷାତ କରି ଭାରତର ସ୍ୱାଧୀନତା ହାସଲ ସମ୍ପର୍କରେ ତାଙ୍କୁ ସାହାଯ୍ୟ କରିବାକୁ ଅନୁରୋଧ କରିଥିଲେ । ବର୍ଲିନଠାରେ ଏକ ମୁକ୍ତ ଭାରତ କେନ୍ଦ୍ର ଉନ୍ମୋଚନ କଲେ ଓ ଜର୍ମାନୀ ମାଟିରେ ଫ୍ରି ଇଣ୍ଡିଆ ଆର୍ମି ଗଠନ କରିଥିଲେ । ସୁଦୂର ବର୍ଲିନରୁ ଆଜାଦ ହିନ୍ଦ ରେଡ଼ିଓ ମାଧ୍ୟମରେ ଭାରତବାସୀଙ୍କୁ ସଂଗ୍ରାମ ପାଇଁ ଆହ୍ୱାନ ଦେଇଥିଲେ । ମୋତେ ରକ୍ତ ଦିଅ, ମୁଁ ତୁମକୁ ସ୍ୱାଧୀନତା ଦେବି ଆହ୍ୱାନରେ ସମସ୍ତଙ୍କୁ ଏକଜୁଟ କଲେ ।

ଦ୍ୱିତୀୟ ବିଶ୍ୱଯୁଦ୍ଧ ସମୟରେ ଜାପାନରେ ନିର୍ବାସିତ ଭାବେ ବାସ କରୁଥିବା ରାସ ବିହାରୀ ବୋଷ ନାମକ ଜଣେ ଭାରତୀୟ ଜାପାନ, ବର୍ମା, ମାଳୟ, ପ୍ରଭୃତି ସ୍ଥାନରେ ପ୍ରବାସୀ ଭାରତୀୟ ଓ ଯୁଦ୍ଧ ବନ୍ଦୀମାନଙ୍କୁ ଏକତ୍ରିତ କରି ଭାରତୀୟ ସ୍ୱାଧୀନତା ଲିଗ ଗଠନ କଲେ । ସୁଭାଷ ସିଙ୍ଗାପୁରରେ ଆଜାଦ ହିନ୍ଦ ଫୌଜର ଦାୟିତ୍ୱ ଗ୍ରହଣ କଲେ ଏବଂ ୧୯୪୩ ମସିହା ଅକ୍ଟୋବର ୨୧ତାରିଖ ଦିନ ସେଠାରେ ଏକ ଅସ୍ଥାୟୀ ସ୍ୱାଧୀନ ସରକାର ଗଠନ କଲେ ।

ସେହିଠାରୁ ସେ ଆହ୍ୱାନ ଦେଇଥିଲେ ଦିଲ୍ଲୀ ଚଲୋ । ଏହା ସହିତ ଆରମ୍ଭ ହେଲା ଆଜାଦ ହିନ୍ଦ ଫୌଜର ଅଭିଯାନ । ୧୯୪୪ ମାର୍ଚ୍ଚ ୧୮ ତାରିଖରେ ଆଜାଦ ହିନ୍ଦ ଫୌଜ ବର୍ମା ସୀମା ଅତିକ୍ରମ କରି ଭାରତୀୟ ମାଟିରେ ପାଦ ଥାପିଥିଲା ଓ ମଣିପୁରର ଇମ୍ଫାଲ ଯାଏଁ ଏହି ଅଭିଯାନ ଅଗ୍ରସର ହେଲା । ଦୃଢ଼ ପଦକ୍ଷେପରେ ଅଗ୍ରସର ହେଉଥିବା ଆଜାଦ ହିନ୍ଦ ଫୌଜ ଉପରେ ବ୍ରିଟିଶ ବାହିନୀ ଉଭୟ ସ୍ଥଳ ଓ ଆକାଶ ପଥରୁ ଆକ୍ରମଣ କରି ଇମ୍ଫାଲଠାରେ ତାଙ୍କୁ ପରାସ୍ତ କଲା ।

ଶାହନୱାଜ କମିଟି, ଖୋସଲା କମିଶନ, ମୂଖାର୍ଜୀ କମିଶନ ପରି ଅନେକ କମିଶନ ଅଫ ଇନକ୍ୱାରି ବସିଥିଲେ ମଧ୍ୟ ତାଙ୍କର ମୃତ୍ୟୁର କାରଣ ଏବଂ ସମୟ ସଠିକ ଭାବେ ନିରୁପିତ ହୋଇପାରିନାହିଁ ।