
ଭୁବନେଶ୍ୱର,୧୭/୦୩/୨୧(ଜିଲ୍ଲା ଖବର) : ପୁଣି ଥରେ ଉପରମୁହାଁ ହୋଇଛି ପାରଦ। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅଧିକାଂଶ ସହରର ଦିନ ତାପମାତ୍ରା ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇଛି । ଭୁବନେଶ୍ବରରେ ରାଜ୍ୟର ସର୍ବାଧିକ ତାପମାତ୍ରା ରେକର୍ଡ କରାଯାଇଛି । ଲଗାତାର ତାପମାତ୍ରା ୨.୩ ଡିଗ୍ରୀ ବୃଦ୍ଧି ପାଇ ୩୯.୩ ଡିଗ୍ରୀରେ ପହଞ୍ଚିଛି । ପାଣିପାଗ କେନ୍ଦ୍ର ନିର୍ଦେଶକ ଏଚ.ଆର ବିଶ୍ବାସ କହିଛନ୍ତି ଯେ, ରାଜ୍ୟର ସମସ୍ତ ଜିଲ୍ଲାର ପାଗ ମୁଖ୍ୟତଃ ଶୁଖିଲା ରହିଥିଲା। ଅଧିକାଂଶ ସ୍ଥାନରେ ଦିନର ତାପମାତ୍ରା ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିଛି। ୧୯ ତାରିଖ ପର୍ଯ୍ୟନ୍ତ ଶୁଖିଲା ପାଗ ଲାଗି ରହିବ। ୨୦ ତାରିଖ ବେଳକୁ ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ନବରଙ୍ଗପୁର, ରାୟଗଡ଼ା, ଗଜପତି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ହାଲୁକା ବର୍ଷା ହୋଇପାରେ। ବାକି ଜିଲ୍ଲାଗୁଡ଼ିକରେ ପାଗ ମୁଖ୍ୟତଃ ଶୁଖିଲା ରହିବ। ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ତାପମାତ୍ରା ୨ରୁ ୩ ଡିଗ୍ରୀ ବଢ଼ିବ। କେତେକ ସ୍ଥାନରେ ୪୦ ଡିଗ୍ରୀ ଉପରେ ରହିବାର ସମ୍ଭାବନା ରହିଛି।


