Sunday, November 15, 2026
Home ଆଞ୍ଚଳିକ ୫ମ ପାଳିରେ କାଲିଠୁ ନବୀନ ସରକାରକୁ ୩ ବର୍ଷ ଚାଲିବ

୫ମ ପାଳିରେ କାଲିଠୁ ନବୀନ ସରକାରକୁ ୩ ବର୍ଷ ଚାଲିବ

29


ଭୁବନେଶ୍ବର, ୩୦/୦୫/୨୧ (ଜିଲ୍ଲା ଖବର) : ୩ୟ ବର୍ଷରେ ପଦାର୍ପଣ କରିବାକୁ ଯାଉଛି ନବୀନଙ୍କ ପଞ୍ଚମ ପାଳିର ସରକାର । ୨୦୧୯ ମେ ମାସର ଠିକ୍ ଆଜିର ଦିନରେ ପଞ୍ଚମ ଥର ପାଇଁ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ।  ପ୍ରଥମ ଥର ରାଜ ଭବନ ବାହାରେ ଶପଥ ଉତ୍ସବ ପାଳନ କରି ଲୋକାଭିମୁଖୀ ସରକାରର ବାର୍ତା ଦେଇଥିଲେ ନବୀନ । ଖାଲି ସେତିକି ନୁହେଁ ପିପୁଲସ ସେଣ୍ଟ୍ରିକ ସର୍ଭିସ ବା ଲୋକଙ୍କ ଦୁଆରେ ସରକାରୀ ସେବା ପହଞ୍ଚାଇବାର ପ୍ରତିଶ୍ରୁତି ଦେଇଥିଲେ ମୁଖ୍ୟମନ୍ତ୍ରୀ।

ନବୀନଙ୍କ ପଞ୍ଚମ ପାଳିର ଦ୍ୱିତୀୟ ବର୍ଷ ପୂର୍ତ୍ତିକୁ ବିରୋଧୀ ବିଫଳତାର ଦୁଇ ବର୍ଷ ବୋଲି କହିଛନ୍ତି । ସବୁ କ୍ଷେତ୍ରରେ ନେତା ମନ୍ତ୍ରୀ ଓ ସରକାର ସାଧାରଣ ଲୋକଙ୍କୁ ଶୋଷଣ କରିଛନ୍ତି ବୋଲି କହିବା ସହ କୌଣସି କାର୍ଯ୍ୟ କରି ନାହାନ୍ତି ବୋଲି କହିଛନ୍ତି । ତେବେ ଏହାର ଉତ୍ତରରେ ବିଜେଡ଼ି କହିଛି କୋରନା ସମୟ ଥିବାରୁ ଆଖି ଦୃଶିଆ ଉନ୍ନତି ହୋଇ ପାରିନି । ତଥାପି ଆମେ ଚାଷୀ, ମହିଳା ଓ ଯୁବକଙ୍କୁ ପ୍ରାଧାନ୍ୟ ଦେଇ ଆଗକୁ ବଢ଼ୁଛୁ ।

ଆଜି ୨ ବର୍ଷ ପୂର୍ତ୍ତି ପାଇଁ ସନ୍ଧ୍ୟାରେ ମନ୍ତ୍ରୀପରିଷଦ ବୈଠକ ଅନୁଷ୍ଠିତ ହୋଇଥିଲା

ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସରକାରର ସଫଳତା ବଖାଣିବା ସହ ଆଗକୁ କଣ କରିବାକୁ ହେବ ସେ ବିଷୟରେ କହିଛନ୍ତି। ନବୀନ କହିଛନ୍ତି ଯେ,  ବିପର୍ଯ୍ୟୟର ମୁକାବିଲା କିପରି କରିବାକୁ ହେବ, ସେ ବିଷୟରେ ଆମକୁ ନିରନ୍ତର ଶିକ୍ଷା ଲାଭ କରିବାକୁ ହେବ ଏବଂ ଜଳବାୟୁ ପରିବର୍ତ୍ତନର ପ୍ରଭାବ ସହିତ ଖାପ ଖୁଆଇ ଚଳିବା ସଙ୍ଗେ ସଙ୍ଗେ ବ୍ୟବସ୍ଥାରେ ମଧ୍ୟ ନିରନ୍ତର ଉନ୍ନତି ଆଣିବାକୁ ପଡିବ। ଏହା ହେଉଛି ଆମ ସମାଜର ସୁରକ୍ଷାର ବିଷୟ । ତେଣୁ ଏ ଦିଗରେ ଆମ ରାଜ୍ୟକୁ ଦକ୍ଷ ଓ ଦୃଢ କରିବା ପାଇଁ ଆମେ ସମସ୍ତ ପ୍ରକାର ପଦକ୍ଷେପ ଗ୍ରହଣ କରିବୁ ।

ଆଜି ଆମର ସ୍କୁଲ କଲେଜର ପାଠ୍ୟକ୍ରମରେ ବିପର୍ଯ୍ୟୟ ଓ ମହାମାରୀର ମୁକାବିଲା ପାଇଁ ପ୍ରାକ୍‌ ପ୍ରସ୍ତୁତିକୁ ଏକ ବିଷୟ ଭାବରେ ଗ୍ରହଣ କରିବାକୁ ଆଜି ରାଜ୍ୟ ମନ୍ତ୍ରୀ ପରିଷଦ ସଂକଳ୍ପ ପାରିତ କରିଛି। ରାଜ୍ୟର ପ୍ରତ୍ୟେକ ଛାତ୍ରଛାତ୍ରୀ, ପ୍ରତ୍ୟେକ ନିର୍ବାଚିତ ପ୍ରତିନିଧି, ସରକାରୀ ଅଫିସର, ମିଶନ ଶକ୍ତି ସଦସ୍ୟବୃନ୍ଦ ଏବଂ ସମସ୍ତେ ପ୍ରାକୃତିକ ଦୁର୍ବିପାକ ଓ ମହାମାରୀର ମୁକାବିଲା ପାଇଁ ପ୍ରସ୍ତୁତ ହେବାକୁ ତାଲିମ ଦିଆଯିବ। ଏହା ହେଉଛି ଏକ ଐତିହାସିକ ପଦକ୍ଷେପ ଏବଂ ଭବିଷ୍ୟତରେ ପ୍ରକୃତିର ତାଣ୍ଡବ, ଏହା ଜୈବିକ ହେଉ ବା ଜଳବାୟୁ ଜନିତ, ତାର ସମ୍ମୁଖୀନ ହେବାକୁ ଆମର ଭବିଷ୍ୟତ ବଂଶଧର ମାନଙ୍କୁ ଏହା ଦକ୍ଷ ଓ ସଶକ୍ତ କରିବ। ଏହି ପଦକ୍ଷେପ ଦ୍ବାରା ଓଡିଶା ଲୋକଙ୍କ ଜୀବନ ରକ୍ଷା କ୍ଷେତ୍ରରେ ଏକ ଅନନ୍ୟ ଉଦାହରଣ ସୃଷ୍ଟି କରିପାରିବ। ବିପର୍ଯ୍ୟୟ ପରିଚାଳନାରେ ଗୋଷ୍ଠୀ ସଚେତନତା ହିଁ ସବୁଠାରୁ ଗୁରୁତ୍ବପୂର୍ଣ୍ଣ । ଏହା ହେଉଛି ଆମର ଉପଲ୍‌ବଧି ।

ସ୍ବାସ୍ଥ୍ୟ ଓ ଶିକ୍ଷାର ବିକାଶ ଉପରେ ସବୁବେଳେ ଆମର ସ୍ବତନ୍ତ୍ର ଗୁରୁତ୍ବ ରହିଆସିଛି । ସାରା ରାଜ୍ୟରେ ସ୍ବାସ୍ଥ୍ୟ ଭିତ୍ତିଭୂମିର ବିକାଶ ପାଇଁ ଆମେ ୮୫୦୦ କୋଟି ଟଙ୍କାର ବିପୁଳ ପୁଞ୍ଜି ବିନିଯୋଗ କରିଛୁ । ୩୫୦୦ କୋଟି ଟଙ୍କା ବ୍ୟୟରେ SCB Medical College & Hospital କୁ ଏକ ବିଶ୍ବସ୍ତରୀୟ ଅନୁଷ୍ଠାନ ଭାବରେ ବିକଶିତ କରାଯିବ । ଗତ ବର୍ଷକ ମଧ୍ୟରେ ଆମେ ୭୮୬ ଜଣ  ଡାକ୍ତର ଓ ୫୧୩୭ ଜଣ ପାରାମେଡିକ୍‌ସଙ୍କୁ ନିଯୁକ୍ତ କରିଛୁ ।

                ଆମର ପିଲାମାନଙ୍କର ଭିତରେ ଥିବା ଦକ୍ଷତାର ପୂର୍ଣ୍ଣ ବିକାଶ ପାଇଁ ଶିକ୍ଷା ହେଉଛି ସବୁଠାରୁ ଗୁରୁତ୍ବପୂର୍ଣ୍ଣ । ତେଣୁ ହାଇସ୍କୁଲ ମାନଙ୍କର ରୂପାନ୍ତର ଆମର ମୁଖ୍ୟ କାର୍ଯ୍ୟକ୍ରମ । ଏଥିପାଇଁ ଚଳିତ ବର୍ଷ ପ୍ରଥମ ପର୍ଯ୍ୟାୟରେ ଆମେ ୧୦୦୦ରୁ ଅଧିକ ସ୍କୁଲର ରୂପାନ୍ତର ପାଇଁ ପଦକ୍ଷେପ ନେଉଛୁ । ଆମର ଯୁବ ସମାଜକୁ ବିଶ୍ବର ନିଯୁକ୍ତି ବଜାରର ଚାହିଦା ମୁତାବକ ପ୍ରସ୍ତୁତ କରିବା ପାଇଁ ଆମର Skilled in Odisha କାର୍ଯ୍ୟକ୍ରମର ଅଂଶସ୍ବରୂପ ବିଶ୍ବ ଦକ୍ଷତା କେନ୍ଦ୍ର ଆରମ୍ଭ କରାଯାଇଛି । ଆମର ଯୁବସମାଜ ଯେପରି ବିଶ୍ବର ଶ୍ରେଷ୍ଠ  ପ୍ରତିଯୋଗୀ ମାନଙ୍କ ସହ ଦକ୍ଷତାର ସହିତ ପ୍ରତିଦ୍ବନ୍ଦିତା କରିପାରିବେ, ସେଥିପାଇଁ ପ୍ରତି କ୍ଷେତ୍ରରେ ସେମାନଙ୍କୁ ଗୁଣାତ୍ମକ ଦକ୍ଷତା ତାଲିମ ଦିଆଯିବ। ଓଡିଶା ଆଜି ପୁଞ୍ଜି ବିନିଯୋଗର ଆକର୍ଷଣୀୟ କେନ୍ଦ୍ର ହୋଇ ରହିଛି । କୋଭିଡ ମହାମାରୀ ପରିସ୍ଥିତି ସତ୍ତ୍ବେ ଦେଶର କେତେକ ବଡ ବଡ ପୁଞ୍ଜିନିବେଶକୁ ଆକର୍ଷିତ କରିବାରେ ସଫଳ ହୋଇପାରିଛୁ । କ୍ରୀଡାର ବିକାଶ ଦିଗରେ ଆମର ନିରନ୍ତର ପ୍ରୟାସ ଜାରି ରହିଛି । ରାଉରକେଲାରେ ଦେଶର ବୃହତ୍ତମ ହକି ଷ୍ଟାଡିଅମ ସମେତ ବିଭିନ୍ନ କ୍ରୀଡା ପ୍ରକଳ୍ପ ନିମନ୍ତେ ୧୦୦୦ କୋଟିରୁ ଅଧିକ ଟଙ୍କା ବିନିଯୋଗ କରାଯାଇଛି।

    କୃଷି ଓ କୃଷକର ଉନ୍ନତି ହେଉଛି ଆମ ରାଜ୍ୟର ବିକାଶର ଆଧାରଶୀଳା। ଗତ ଏକ ବର୍ଷ ମଧ୍ୟରେ କାଳିଆ ଯୋଜନାରେ ଆମ ରାଜ୍ୟର ଚାଷୀମାନଙ୍କ ବ୍ୟାଙ୍କ ଖାତାରେ ୬୧୧୮ କୋଟିରୁ ଅଧିକ ଟଙ୍କା ଜମା କରି ଆମେ ଆମର ପ୍ରତିଶ୍ରୁତି ରକ୍ଷା କରିପାରିଛୁ । ବିଭିନ୍ନ ଜଳସେଚନ ପ୍ରକଳ୍ପକୁ ଠିକ୍‌ ସମୟରେ ଶେଷ କରିବା ପାଇଁ କଡା ନିର୍ଦ୍ଦେଶ ଦିଆଯାଇଛି। ଚଳିତ ବର୍ଷ ଅପର ଇନ୍ଦ୍ରାବତୀ ଉଠା ଜଳସେଚନ ପ୍ରକଳ୍ପ ଓ ଲୋୟର ଇନ୍ଦ୍ରାବତୀ ପ୍ରକଳ୍ପ ଚାଷୀଙ୍କ ସେବାରେ ଉତ୍ସର୍ଗ କରାଯାଇଛି ।

     ମହିଳା ସଶକ୍ତିକରଣକୁ ଦୃଷ୍ଟିରେ ରଖି ମିଶନ ଶକ୍ତି କାର୍ଯ୍ୟକ୍ରମକୁ ମଜବୁତ କରାଯାଇଛି । ଏକ ଉଦାହରଣୀୟ ପଦକ୍ଷେପ ଭାବରେ ମିଶନ ଶକ୍ତି ପାଇଁ ଏକ ସ୍ବତନ୍ତ୍ର ବିଭାଗ ସୃଷ୍ଟି କରାଯାଇଛି । ମିଶନ ଶକ୍ତି ମା’ ମାନଙ୍କର ଆର୍ଥିକ ସଶକ୍ତିକରଣ ପାଇଁ ଆଗାମୀ ୫ ବର୍ଷରେ ସେମାନଙ୍କୁ ୫୦୦୦ କୋଟି ଟଙ୍କାର ବିଭିନ୍ନ ସରକାରୀ କାର୍ଯ୍ୟକ୍ରମରେ ସଂପୃକ୍ତ କରିବା ପାଇଁ ଆମେ ନିଷ୍ପତ୍ତି ନେଇଛୁ ।

                ଆମର ମହାନ ସାଂସ୍କୃତିକ ଐତିହ୍ୟର ସୁରକ୍ଷା ପାଇଁ ସାରା ରାଜ୍ୟରେ ପୁରୀ, କୋଣାର୍କ, ସମଲେଶ୍ବରୀ, ହରଶଂକର – ନୃସିଂହନାଥ ମନ୍ଦିରର ସଂରକ୍ଷଣ ପାଇଁ ବିଭିନ୍ନ ପ୍ରକଳ୍ପ କାର୍ଯ୍ୟକାରୀ କରାଯାଉଅଛି । ଆମର ପଞ୍ଚାୟତିରାଜ ଅନୁଷ୍ଠାନ ତଥା ପୌରସଂସ୍ଥା ଗୁଡିକୁ ମଜବୁତ କରିବା ପାଇଁ ଅର୍ଥ କମିଶନଙ୍କ ଅନୁଦାନ ଜରିଆରେ ଗତ ଦୁଇ ବର୍ଷ ମଧ୍ୟରେ ସେମାନଙ୍କୁ ୧୧,୨୮୭ କୋଟି ଟଙ୍କାର ଆର୍ଥକ ଅନୁଦାନ ଦିଆଯାଇଛି ।

                ଓଡିଶାର ଜନସାଧାରଣ ପଞ୍ଚମ ଥର ପାଇଁ ଆମକୁ ଆଶୀର୍ବାଦ କରି ସେବାର ସୁଯୋଗ ଦେଇଛନ୍ତି । ଲୋକଙ୍କୁ ଆମେ ଦେଇଥିବା ପ୍ରତିଶ୍ରୁତି ଏବଂ ସେମାନଙ୍କ ଆଶାଆକାଂକ୍ଷାକୁ ପୂରଣ କରିବା ପାଇଁ ଆମେ କଠିନ ପରିଶ୍ରମ କରୁଛୁ ।  ଏହି ମହାମାରୀ ଏକ ଅନନ୍ୟ ପରିସ୍ଥିତି ସୃଷ୍ଟି କରିଛି, ଯାହାଦ୍ବାରାକି ଲୋକମାନଙ୍କ ଜୀବନ ଓ ଜୀବିକା ଗଭୀର ଭାବରେ ପ୍ରଭାବିତ ହୋଇଛି । ଏସବୁ ଆହ୍ବାନ ସତ୍ତ୍ବେ ଆମର ଦୃଢ ବିଶ୍ବାସ ଯେ ଓଡିଶାର ଜନସାଧାରଣଙ୍କ ସହଯୋଗରେ ଏହି ସଂକଟର ମୁକାବିଲାରେ ଆମେ ବିଜୟୀ ହେବୁ ତଥା ଓଡିଶାର ରୂପାନ୍ତର ନିମନ୍ତେ ଆମର ଭଲ କାମକୁ ଜାରି ରଖିବୁ।