
୨୪/୦୬/୨୧ (ଜିଲ୍ଲା ଖବର) : ଆଜି ମହାପ୍ରଭୁଙ୍କ ଦେବସ୍ନାନ ପୂର୍ଣ୍ଣିମା। ଏହି ଦିନ ଶ୍ରୀମନ୍ଦିରର ସ୍ନାନ ମଣ୍ଡପରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ପାରମ୍ପରିକ ରୀତିରେ ବେଦଧ୍ୱନି ପୂର୍ବକ ୧୦୮ କଳସ ଜଳରେ ସ୍ନାନ କରାଯାଇଥାଏ। ଏହା ପରେ ଦିଅଁମାନଙ୍କୁ ଗଜାନନ ବେଶରେ ସଜ୍ଜିତ କରାଯାଇଥାଏ।
ସ୍ନାନ ନିମନ୍ତେ କାହା ପାଇଁ କେତେ ଗରା ଜଳ –
ଦାରୁବ୍ରହ୍ମଙ୍କ ଲୀଳାକ୍ଷେତ୍ର ପୁରୁଷୋତ୍ତମ କ୍ଷେତ୍ର ପୁରୀରେ ମହାପ୍ରଭୁଙ୍କ ସ୍ନାନ ଉତ୍ସବ ବା ମଞ୍ଚସ୍ନାନ ଏକ ଶାସ୍ତ୍ରୀୟ ଭିତ୍ତ ଭୂମିର ଲୀଳା। ମହାପ୍ରଭୁଙ୍କ ଆବିର୍ଭାବ ପରେ ପ୍ରଥମେ ଏହି ସ୍ନାନ ହୋଇଥିବାରୁ ଦାରୁବ୍ରହ୍ମଙ୍କ ଆଦ୍ୟଲୀଳା ବୋଲି କୁହାଯାଏ। ମହାପ୍ରଭୁ ଦାରୁବ୍ରହ୍ମ ରୂପ ଧାରଣ କରିବା ପରେ ପ୍ରଥମ ମଙ୍ଗଳମୟ ମୁହୂର୍ତ୍ତରେ ମହାରାଜା ଇନ୍ଦ୍ରଦ୍ୟୁମ ଏହି ସ୍ନାନଲୀଳା କରାଇଥିଲେ ବୋଲି କଥିତ ଅଛି। ସେତେବେଳେ ସ୍ନାନମଣ୍ଡପ ନଥିବାରୁ ଏକ କାଠର ମଞ୍ଚ ନିର୍ମାଣ କରାଯାଇ ତାହାରି ଉପରେ ସ୍ନାନବିଧି ସମାପନ ହୋଇଥିଲା। ସେଥିପାଇଁ ଅନେକ ଶାସ୍ତ୍ରରେ ଏହା ମଞ୍ଚସ୍ନାନ ବୋଲି ଉଲ୍ଲେଖ ହୋଇଛି। ଶାସ୍ତ୍ରମତରେ ୧୦୮ ସୁନା କଳସରେ ଅଭିମନ୍ତ୍ରିତ ପବିତ୍ର ଜଳରେ ଦାରୁବ୍ରହ୍ମଙ୍କ ଆଦ୍ୟ ସ୍ଥାନଲୀଳା ସମାପନ ହୋଇଥିଲା।
ସେହି ଶାସ୍ତ୍ରୀୟ ମତକୁ ଅନୁସରଣ କରି ଆଜି ବି ସେହିପରି ସ୍ନାନଯାତ୍ରା ଅନୁଷ୍ଠିତ ହେଉଅଛି। ୧୦୮ ଗରା ଜଳ ମଧ୍ୟରୁ ୩୫ ଗରା ଜଗନ୍ନାଥଙ୍କୁ, ୩୩ ଗରା ବଳଭଦ୍ରଙ୍କୁ, ୨୨ ଗରା ସୁଭଦ୍ରାଙ୍କୁ ଏବଂ ୧୮ ଗରା ସୁଦର୍ଶନଙ୍କୁ ସ୍ନାନ କରାଯାଏ। ଏହାକୁ ପ୍ରତ୍ୟେକ୍ଷ ଅବକାଶ କୁହାଯାଏ। ଦେବସ୍ନାନ ପୂର୍ଣ୍ଣିମା ଦିନ ଚତୁର୍ଦ୍ଧାମୂର୍ତ୍ତି ସ୍ନାନ ପରେ ଗଜାନନ ବେଶରେ ସଜ୍ଜିତ ହୁଅନ୍ତି।


