Friday, October 16, 2026
Home ଆଞ୍ଚଳିକ ଅଣସର ଘରେ ଚତୁର୍ଦ୍ଧାବିଗ୍ରହଙ୍କ ଗୁପ୍ତ ସେବା ଜାରି

ଅଣସର ଘରେ ଚତୁର୍ଦ୍ଧାବିଗ୍ରହଙ୍କ ଗୁପ୍ତ ସେବା ଜାରି

13

ପୁରୀ,୨୯/୦୬/୨୧ (ଜିଲ୍ଲା ଖବର) : ପବିତ୍ର ଦେବସ୍ନାନ ପୂର୍ଣ୍ଣିମାରେ ୧୦୮ ଗରା ଜଳରେ ସ୍ନାନ କରିବା ପରେ ଜ୍ୱରରେ ପଡ଼ିଛନ୍ତି ମହାପ୍ରଭୁ । ଅଣସର ଘରେ ଏବେ ଚତୁର୍ଦ୍ଧାବିଗ୍ରହଙ୍କ ଗୁପ୍ତ ଚିକିତ୍ସା ବା ଗୁପ୍ତ ସେବା ଜାରି ରହିଛି । ଆଜି ଅଣସର ଗୃହରେ ଦାରୁଦିଅଁଙ୍କ ଶ୍ରୀଅଙ୍ଗରେ ଫୁଲୁରୀ ତେଲ ଲାଗି କରାଯିବ। ଦଇତାପତି ସେବକମାନେ ଏହି ଫୁଲୁରୀ ତେଲ ଲାଗି କରିଵେ । ମହାପ୍ରଭୁଙ୍କ ଗୁପ୍ତନୀତି ମଧ୍ୟରେ ଫୁଲୁରୀ ତେଲ ଲାଗି ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ। ବଡ ଓଡ଼ିଆ ମଠ ପକ୍ଷରୁ ମହାପ୍ରଭୁଙ୍କ ଲାଗି ଫୁଲୁରୀ ତେଲ ଯୋଗାଇ ଦିଆଯାଇଥାଏ । ପ୍ରତିବର୍ଷ ଅଣସରରେ ୬ ସେର ଫୁଲୁରୀ ତେଲ ଯୋଗା ଯାଇଥାଏ। ହେରାପଞ୍ଚମୀ ଦିନ ଘଣାପେଡ଼ା ରାଶିତେଲରେ ୧୪ ପ୍ରକାର ଫୁଲ, ୭ ପ୍ରକାର ଔଷଧୀୟ ଚେରମୂଳ ଏବଂ ସୁବାସିତ ଦ୍ରବ୍ୟ ପକାଇ ଏକ ପାତ୍ରରେ ରଖି ମାଟିତଳେ ଏକବର୍ଷ କାଳ ପୋତା ଯାଇଥାଏ। ଦେବସ୍ନାନ ପୂର୍ଣ୍ଣିମା ପୂର୍ବଦିନ ମାଟିତଳୁ ତେଲକୁ ବାହାର କରାଯାଇ ରଖାଯାଇଥାଏ।

ପଞ୍ଚମୀ ତିଥିରେ  ଅର୍ଥାତ ଆଜି ତେଲକୁ ଛଣାଯାଇ ଅମୁଣିଆ ପ୍ରସ୍ତୁତ କରି ମହାପ୍ରଭୁଙ୍କୁ ଲାଗି ପାଇଁ ପଠାଯାଏ। ଆଜି ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ଏବଂ ଦକ୍ଷିଣୀ ଘର ଭୋଗ ସମ୍ପନ୍ନ ହେବା ପରେ ଜୟବିଜୟ ଦ୍ୱାର ବନ୍ଦ ହୋଇ ଅଣସର ଘର ଦ୍ୱାର ଖୋଲାଯାଇ ଏହି ନୀତି ଆରମ୍ଭ ହେବ।