
ଭୁବନେଶ୍ୱର,୦୨/୧୨/୨୧ (ଜିଲ୍ଲା ଖବର ) : ସମ୍ଭାବ୍ୟ ବାତ୍ୟା ‘ଜୱାଦ’ ର ମୁକାବିଲା ପାଇଁ ଚାଲିଛି ପ୍ରସ୍ତୁତି । ପ୍ରଭାବିତ ହେବାକୁ ଥିବା ଜିଲ୍ଲାମାନଙ୍କୁ ଆଲର୍ଟ ରହିବାକୁ ପରାମର୍ଶ ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର । ବାତ୍ୟା ସମୟରେ କୌଣସି ବି ଅଘଟଣକୁ ଏଡ଼ାଇବା ପାଇଁ ଓଡ୍ରାଫ୍, ଏନଡିଆରଏଫ୍, ଅଗ୍ନିଶମ ବାହିନୀକୁ ପ୍ରସ୍ତୁତ ରହିବାକୁ ପରାମର୍ଶ ଦିଆଯାଇଛି । ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ଗତକାଲି ରାଜ୍ୟ ସରକାରଙ୍କ ପକ୍ଷରୁ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଥିଲା ।
ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଚାଲିଥିବା ଏହି ବୈଠକରେ ସ୍ୱତନ୍ତ୍ର ରିଲିଫ୍ କମିଶନରଙ୍କ ସହ ବହୁ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ। ଏଥିସହ ପ୍ରଭାବିତ ହେବାକୁ ଥିବା ଜିଲ୍ଲାର ଜିଲ୍ଲାପାଳମାନେ ମଧ୍ୟ ବୈଠକରେ ଯୋଗ ଦେଇଥିଲେ । ସମ୍ଭାବ୍ୟ ବାତ୍ୟା ଦ୍ବାରା ତଳିଆ ଅଞ୍ଚଳରେ ବନ୍ୟା ଓ ଜଳବନ୍ଦୀ ସମସ୍ୟା ଉପୁଜିପାରେ ।
ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ ସହ କଚ୍ଚା ଘର ଭାଙ୍ଗିବା ମଧ୍ୟ ସମ୍ଭାବନା ରହିଛି । ଏଥିପାଇଁ ଜିଲ୍ଲାପାଳ ମାନଙ୍କୁ ଆଲର୍ଟ ରହିବାକୁ କୁହାଯାଇଛି । ଏବେ ଧାନ ଅମଳ ଚାଲିଥିବାରୁ ଅମଳ ଫସଲକୁ ସୁରକ୍ଷିତ ରଖିବାକୁ ଚାଷୀମାନଙ୍କୁ ପରାମର୍ଶ ଦିଆଯାଇଛି । ବାତ୍ୟା ଓ ବନ୍ୟା ଆଶ୍ରୟସ୍ଥଳୀକୁ ପ୍ରସ୍ତୁତ ରଖିବା ସହ ଶୁଖିଲା ଖାଦ୍ୟ ମହଜୁଦ ରଖିବା ଉପରେ ମଧ୍ୟ ଗୁରୁତ୍ବ ଦିଆଯାଇଛି ।


