-: ରାଜଧିରାଜ ବେଶ ବା ସୁନାବେଶ :-

123

  ଶ୍ରୀମନ୍ଦିରରେ ୧୨ ମାସରେ ୧୩ ଯାତ ଭିତରେ ଜଗନ୍ନାଥ ମହାପ୍ରଭୁଙ୍କ ବିଭିନ୍ନ ବେଶ ମଧ୍ୟରୁ ସୁନାବେଶ ବା ରାଜରାଜେଶ୍ୱର ବେଶ ଅତ୍ୟନ୍ତ ରମଣୀୟ ଓ ଦୁର୍ଲଭ। ଇଏ ଏକମାତ୍ର ବେଶ ଯେଉଁଥିରେ ସ୍ପଷ୍ଟ ପରିସ୍ଫୁଟ ହୋଇଥାଏ ମହାପ୍ରଭୁଙ୍କ ଐଶ୍ୱର୍ଯ୍ୟ । ସୁନାବେଶ (ବା ରାଜବେଶ ବା ବଡ଼ତଢାଉ ବେଶ) ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କର ଏକ ବିଶେଷ ବେଶ, ଯହିଁରେ ଦିଅଙ୍କୁ ସୁବର୍ଣ୍ଣ ଆଭୂଷଣରେ ସାଜ କରାଯାଏ । ପ୍ରତିବର୍ଷ ସୁନାବେଶ ପାଞ୍ଚଥର ଅନୁଷ୍ଠିତ ହୋଇଥାଏ । ଏହା ସାଧାରଣତଃ ପୌଷ ପୂର୍ଣ୍ଣିମା (ପୁଷ୍ୟାଭିଷେକ), ଫାଲଗୁନ ପୂର୍ଣ୍ଣିମା (ଦୋଳ ପୂର୍ଣ୍ଣିମା), ହରିଶୟନ ଏକାଦଶୀ (ବାହୁଡ଼ା ଏକାଦଶୀ), କାର୍ତ୍ତିକ ପୂର୍ଣ୍ଣିମା (ରାଜରାଜେଶ୍ୱର ବେଶ) ଓ ବିଜୟାଦଶମୀ (ଦଶହରା), ଦିନ ଅନୁଷ୍ଠିତ ହୋଇଥାଏ । ଏଥିମଧ୍ୟରୁ ଶ୍ରୀମନ୍ଦିରସ୍ଥ ରତ୍ନସିଂହାସନ ଉପରେ ଶ୍ରୀଜୀଉମାନେ କାର୍ତ୍ତିକ ପୂର୍ଣ୍ଣିମା, ପୌଷ ପୂର୍ଣ୍ଣିମା, ଦୋଳ ପୂର୍ଣ୍ଣିମା ଓ ଦଶହରା ତିଥି ଗୁଡ଼ିକରେ ସୁନାବେଶରେ ସଜ୍ଜିତ ହୋଇଥାନ୍ତି ଓ କେବଳ ଥରେ ମାତ୍ର ସମସ୍ତବର୍ଗର ଜନତାଙ୍କ ପାଇଁ ଆଷାଢ଼ ଶୁକ୍ଲ ଏକାଦଶୀଦିନ ସିଂହଦ୍ୱାରଠାରେ ରଖାଯାଇଥିବା ତିନିରଥ ଉପରେ ସୁନାବେଶରେ ସଜ୍ଜିତ ହୋଇଥାନ୍ତି ।ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ବିଭିନ୍ନ ବେଶ ମଧ୍ୟରେ ସୁନା ବେଶ ଅନ୍ୟତମ, ଯାହାକି ଅତ୍ୟନ୍ତ ଉପଭୋଗ୍ୟ ଓ ଆକର୍ଷଣୀୟ । ମହାପ୍ରଭୁଙ୍କ ସକଳ ବେଶରେ ମାଧୁର୍ଯ୍ୟ ଲାବଣ୍ୟ ପ୍ରକଟିତ ହେଉଥିବା ସ୍ଥଳେ, କେବଳ ସୁନା ବେଶରେ ଐଶ୍ୱର୍ଯ୍ୟ ପ୍ରାବଲ୍ୟ ପରିସ୍ଫୁଟ ହୋଇଥାଏ। 
 କାର୍ତ୍ତିକ ମାସର ପଞ୍ଚୁକ ୫ଦିନ ଶ୍ରୀମନ୍ଦିରରେ ମହାପ୍ରଭୁ ପାଞ୍ଚଟି ସ୍ବତନ୍ତ୍ର ବେଶରେ ଭକ୍ତମାନଙ୍କୁ ଦର୍ଶନ ଦିଅନ୍ତି। ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ତିଥିରେ ମହାପ୍ରଭୁ ରାଜରାଜେଶ୍ୱର ବା ସୁନା ବେଶରେ ସଜେଇ ହୋଇଛନ୍ତି କାର୍ତ୍ତିକମାସ ପୂର୍ଣ୍ଣିମାରେ ପାରମ୍ପରିକ ରୀତି ମତେ ଶ୍ରୀମନ୍ଦିରର ରତ୍ନସିଂହାସନ ଉପରେ ବିରାଜିତ ତିନି ଠାକୁରଙ୍କୁ ରାଜରାଜେଶ୍ୱର ବେଶ ଅନୁଷ୍ଠିତ ହୋଇଥାଏ । ଏହା ସୁନାବେଶର ଅନୁରୂପ । ଅତୀତରେ ଓଡ଼ିଶାର ବହୁ ରାଜା , ଜମିଦାର ଓ ସାମନ୍ତ ବର୍ଗ ଶ୍ରୀମନ୍ଦିରକୁ ଆଗମନ ପୂର୍ବକ ଦାରୁବ୍ରହ୍ମ ରୂପୀ ଶ୍ରୀବିଗ୍ରହମାନଙ୍କର ଏହି ରାଜ ବେଶ ଦର୍ଶନରେ ପରମ ସନ୍ତୋଷ ଲାଭ କରିବା ସଙ୍ଗେ ସଙ୍ଗେ ଠାକୁରମାନଙ୍କର ଉଦ୍ଦେଶ୍ୟରେ ନାନାଦି ରତ୍ନ ଅଳଙ୍କାର ଦାନ କରୁଥିଲେ । ମୟୁରଭଞ୍ଜର ରାଜା ଓ ପାରଳାଖେମୁଣ୍ଡି ରାଜ୍ୟର ଗଜପତିମାନେ କାର୍ତ୍ତିକ ପୂର୍ଣ୍ଣିମା ଦିନ ଠାକୁରମାନଙ୍କ ରାଜରାଜେଶ୍ୱର ବେଶ ଦର୍ଶନ କରି ମହାପ୍ରଭୁଙ୍କୁ ସୁନିଆ ଭେଟିଦେଇ ମହୋତ୍ସବ କରାଉଥିବା ଜଣାଯାଏ । ଉତ୍କଳର ରାଜା ସାମନ୍ତରାଜାଙ୍କ ପକ୍ଷେ ଏହି ବେଶ ଅତ୍ୟନ୍ତ ପବିତ୍ର ଓ ଦର୍ଶନୀୟ ଥିଲା ।

       ଶ୍ରୀଜୀଉମାନଙ୍କର ଅବକାଶ ନୀତି ଶେଷ ହେବା ପରେ ପୁଷ୍ପାଳକ ସେବକମାନେ ବିଭିନ୍ନ ରତ୍ନ ଅଳଙ୍କାର ଓ ପାଟବସ୍ତ୍ରରେ ଶ୍ରୀଜୀଉମାନଙ୍କୁ ରାଜବେଶରେ ସଜାଇଥାନ୍ତି । ଏହି ବେଶରେ ଗୋପାଳ ବଲ୍ଲଭ, ସକାଳଧୁପ ଓ ଭୋଗମଣ୍ଡପ ଆଦି ନୀତି ଶେଷହେବା ପରେ ସର୍ବସାଧାରଣଙ୍କ ଉଦ୍ଦେଶ୍ୟରେ ସାହାଣମେଲା କରାଯାଇଥାଏ । ‌ଭିତିରଚ୍ଛ ମହାପାତ୍ର ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବାଡ଼ରେ, ତଳିଚ୍ଛ ମହାପାତ୍ର ବଡ଼ଠାକୁର ଶ୍ରୀବଳଭଦ୍ରଙ୍କ ବାଡ଼ରେ ଓ ପୁଷ୍ପାଳକ ସେବାୟତ ଦେବୀ ସୁଭଦ୍ରାଙ୍କ ବାଡ଼ରେ ଶ୍ରୀବିଗ୍ରହମାନଙ୍କୁ ସୁନାବେଶରେ ସଜ୍ଜିତ କରିବାର ପରମ୍ପରା ରହିଛି।

ଶ୍ରୀଜୀଉମାନଙ୍କ ଅଳଙ୍କାର :-

ଶ୍ରୀଜଗନ୍ନାଥ :-

         କିରିଟ , ଶ୍ରୀପୟର , ଶ୍ରୀଭୁଜ , ସ୍ୱର୍ଣ୍ଣ ଚକ୍ର ଓ ରୌପ୍ୟ ଶଙ୍ଖ , ଓଢିଆଣୀ , ଚନ୍ଦ୍ରସୂର୍ଯ୍ୟ , ଆଡ଼କାନି , ଘାଗଡ଼ା ମାଳି , କଦମ୍ବ ମାଳି,  ବାହାଡ଼ା ମାଳି , ତାବିଜ ମାଳି, ସେବତୀ ମାଳି, ତିଳକ ,  ଚନ୍ଦ୍ରିକା , ଅଳକା , ଝୋବାକଣ୍ଠି , ତ୍ରିଖଣ୍ଡିକା , କମରପଟି

ଶ୍ରୀବଳଭଦ୍ର :-

      କିରିଟ , ଶ୍ରୀପୟର , ଶ୍ରୀଭୁଜ , ହଳ ଓ ମୂଷଳ, ଓଢିଆଣୀ, କୁଣ୍ଡଳ , ଚନ୍ଦ୍ରସୂର୍ଯ୍ୟ , ଆଡ଼କାନି , ଘାଗଡ଼ା ମାଳି , କଦମ୍ବ ମାଳି , ବାହାଡ଼ା ମାଳି , ବାଘନଖ ମାଳି , ସେବତୀ ମାଳି , ତିଳକ , ଚନ୍ଦ୍ରିକା , ଅଳକା , ଝୋବାକଣ୍ଠି , ତ୍ରିଖଣ୍ଡିକା , କମରପଟି

ଦେବୀସୁଭଦ୍ରା :-

        କିରୀଟ, ଓଢ଼ିଆଣୀ , କାନ , ଚନ୍ଦ୍ରସୂର୍ଯ୍ୟ , ଘାଗଡ଼ା ମାଳି , କଦମ୍ବ ମାଳି , ସେବତୀ ମାଳି , ତଗଡ଼ି-୨ଟି